February 5, 2025

ବଙ୍ଗୋପସାଗରରେ ଲଘୁଚାପ

1 min read

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରର ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆଗକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆହୁରି ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ସୋମବାର ବର୍ଷା ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ସୋମବାର ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ବୌଦ୍ଧ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ସର୍ବାଧିକ ୬୩ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାରୁ ଲଘୁଚାପଟି ଅଧିକ ଘନୀଭୂତ ହେଲେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୭୦ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ଵାଭାବିକଠାରୁ ୧୦ ପ୍ରତିଶତ କମ୍ ରହିଛି। ମାଲକାନଗିରି ଜିଲ୍ଲାରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୧୦ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Leave a Reply

Your email address will not be published. Required fields are marked *