September 20, 2024

ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ସେପ୍ଟେମ୍ବର ୨୩ ତାରିଖରେ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ରୁ ୩ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଶନିବାର ବର୍ଷା ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ ସାମିଲ ରହିଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାରୁ ଲଘୁଚାପଟି ଅଧିକ ଘନୀଭୂତ ହେଲେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୦୩ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ଵାଭାବିକଠାରୁ ୮ ପ୍ରତିଶତ କମ୍ ରହିଛି। ମାଲକାନଗିରି ଜିଲ୍ଲାରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୧୦ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Leave a Reply

Your email address will not be published. Required fields are marked *