ଆସୁଛି ଆଉ ଏକ ଲଘୁଚାପ
1 min readଭୁବନେଶ୍ଵର: ବଙ୍ଗୋପସାଗରରେ ଅଗଷ୍ଟ ୨୯ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୯ଟି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି।
ଅଗଷ୍ଟ ୨୯ରୁ ୩୦ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଅଗଷ୍ଟ ୩୦ରୁ ୩୧ ତାରିଖ ମଧ୍ୟରେ ପ୍ରବଳ ବର୍ଷା ପାଇଁ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମଧ୍ୟରେ ରହିଛି ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଏବଂ ନୂଆପଡ଼ା।
ସେହିପରି ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ତାରିଖ ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।